ଆଜି ଉତ୍କଳମଣି ଗୋପବନ୍ଧୁ ଦାସ ଜୟନ୍ତୀ


ଓଡ଼ିଶାର ଜଣେ ପ୍ରଖ୍ୟାତ ସ୍ୱାଧୀନତା ସଂଗ୍ରାମୀ, କବି, ଲେଖକ ଓ ଦୈନିକ ଖବର କାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ଜନ୍ମଦିନ ଆଜି।

ସେ ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର ରାମଚନ୍ଦ୍ର ଦାସଙ୍କ ସହିତ ପରିଚୟ ହେଲା, ଯାହଙ୍କଠାରୁ ପରେ ସେ ଦେଶସେବାର ଶିକ୍ଷା ପାଇଲେ । ଗୋପବନ୍ଧୁଙ୍କ ଦ୍ୱାରା ହିଁ ପୁରୀରେ ସେତେବେଳେ ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ‘ପୁରୀ ସେବା ସମିତି’ ପ୍ରତିଷ୍ଠା କରାଯାଇଥିଲା । ପୁରୀ ସେବା ସମିତି ଗଠନ କରି ସେ ଆପଣା ଜୀବନକୁ ବିପନ୍ନ କରି ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରି ରଖିଥିଲେ । ପୁରୀରୁ ମାଟ୍ରିକ ପାସ୍ କରି, ସେ କଟକର ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ ଓଡ଼ିଆ ଭାଷାର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, ‘କର୍ତ୍ତବ୍ୟ ବୋଧିନୀ ସମିତି’ ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ୱାନ ଥିଲା, “ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷା ହିଁ ଜାତିର ପ୍ରାଣସ୍ପନ୍ଦନ ।” ରମ୍ଭାଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ର ସନ୍ତାନଟିର ମୃତ୍ୟୁ ଘଟିଥିଲା । ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ୱେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ୍ କଲେ ଓ କଲିକତାରେ ବିଏଲ୍ ପଢ଼ିଲେ ।ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖଦୁର୍ଦ୍ଦଶାରେ ବ୍ୟଥିତ ହୋଇ ସେ ‘ଓଡ଼ିଆ ଶ୍ରମିକ ସଂଘ’ ଓ ‘ସାନ୍ଧ୍ୟ ବିଦ୍ୟାଳୟ’ ପ୍ରତିଷ୍ଠା କରିଥିଲେ । ଇତିମଧ୍ୟରେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା । ଏପରିକି ଯେଉଁଦିନ ସେ ବିଏଲ୍ ପାସ୍ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା । ଏତେ ସବୁ ଦୁଃଖ କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରିପାରିନଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା ।

ଆଧୁନିକ ଯୁଗର ପଞ୍ଚସଖାମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ । ଭକ୍ତକବି ମଧୁସୂଦନ ରାଓଙ୍କ ନିଷ୍ପତ୍ତିକ୍ରମେ ଗୋପବନ୍ଧୁ ସାକ୍ଷୀଗୋପାଳର ବକୁଳ ଓ ଛୁରିଆନା କୁଞ୍ଜରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ । ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା । ୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ସଂଘଟିତ ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା । ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିଥିଲେ ।

ଓଡ଼ିଶା ଲୋକଙ୍କର ଦୁର୍ଦ୍ଦଶା, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ, ଅହିଂସା ଆନ୍ଦୋଳନ, ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ଓ ଜାତୀୟ କଂଗ୍ରେସର ଆଭିମୁଖ୍ୟ ପ୍ରଚାର ତଥା ଜନସାଧାରଣଙ୍କୁ ଅବଗତ କରାଇବାର ଅଭିପ୍ରାୟରେ ଗୋପବନ୍ଧୁ ୧୯୧୯ ଅକ୍ଟୋବର ମାସ ୪ ତାରିଖ, ଦଶହରା ତିଥିରେ ପ୍ରକାଶ କଲେ ‘ସାପ୍ତାହିକ ସମାଜ’ । ପ୍ରଥମେ ଏହା ସତ୍ୟବାଦୀରୁ, ୧୯୨୪ ମସିହାରେ ପୁରୀରୁ ଓ ୧୯୨୭ ମସିହାରେ କଟକରୁ ପ୍ରକାଶିତ ହେଉଥିଲା । ‘ସମାଜ’ର ପ୍ରଥମ ସମ୍ପାଦକୀୟରେ ମାନବବାଦୀ ଗୋପବନ୍ଧୁ ସମାଜର ସକଳ ଶ୍ରେଣୀ ମାନବଙ୍କର ସ୍ନେହ, ପ୍ରୀତି ଓ ସଦିଚ୍ଛା କାମନା କରିଥିଲେ । ୧୯୩୦ରେ ‘ସାପ୍ତାହିକ ସମାଜ’, ‘ଦୈନିକ ସମାଜ’ରେ ପରିଣତ ହୋଇଥିଲା । ‘ସମାଜ’ରେ ପୁଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ଇଂରେଜ ସରକାରଙ୍କ ଅବିଚାର ସମ୍ପର୍କରେ ନିର୍ଭୀକ ସମ୍ବାଦ ପରିବେଷଣ କରି ସେ ୧୯୨୨ ମସିହାରେ କାରାବରଣ କରିଥିଲେ । କାରାଗାରରେ ତାଙ୍କ ଲେଖନୀରୁ ନିଃସୃତ ହୋଇଥିଲା ‘କାରାକବିତା’ ଓ ‘ବନ୍ଦୀର ଆତ୍ମକଥା’ । ୧୯୨୪ରେ ଜେଲରୁ ଖଲାସ ହେବାପରେ କଟକଠାରେ ଅନୁଷ୍ଠିତ ବିଶାଳ ସମ୍ବର୍ଦ୍ଧନା ସଭାରେ ବିଶିଷ୍ଟ ବୈଜ୍ଞାନିକ ଆଚାର୍ଯ୍ୟ ପ୍ରଫୁଲ୍ଲ ଚନ୍ଦ୍ର ରାୟ ତାଙ୍କୁ ‘ଉତ୍କଳମଣି’ ବୋଲି ସମ୍ବୋଧନ କରିଥିଲେ । ସମବେତ ଜନତା କରତାଳି ମାଧ୍ୟମରେ ଏହି ଉପାଧିକୁ ସ୍ୱୀକୃତି ଦେଇଥିଲେ । ଗୋପବନ୍ଧୁଙ୍କ ସେବା, ତ୍ୟାଗ ଓ ଦରଦୀ ହୃଦୟରେ ପ୍ରୀତ ହୋଇ, ଲାଲା ଲାଜପତ ରାୟ, ତାଙ୍କୁ ଲୋକସେବକ ମଣ୍ଡଳର ସଦସ୍ୟ ରୂପେ ଗ୍ରହଣ କରିଥିଲେ । ପରେ ସେ ଏହି ଅନୁଷ୍ଠାନର ଉପାଧ୍ୟକ୍ଷ ଭାବରେ ମନୋନୀତ ହୋଇଥିଲେ ।

୧୯୨୮ ମସିହାରେ ଲୋକସେବକ ମଣ୍ଡଳର ବୈଠକରେ ଯୋଗଦାନ କରିବା ପାଇଁ ଲାହୋର ଯିବା ବାଟରେ ଗୋପବନ୍ଧୁ କଲିକତାଠାରେ ଆନ୍ତ୍ରିକ ଜ୍ୱରରେ ଆକ୍ରାନ୍ତ ହୋଇ ସତ୍ୟବାଦୀ ଫେରିଆସିଥିଲେ । ଦିନକୁ ଦିନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଥିଲା । ମୃତ୍ୟୁ ପୂର୍ବରୁ, ସେ ନିଜର ଇଚ୍ଛାପତ୍ରରେ, ‘ସମାଜ’ ଓ ‘ସତ୍ୟବାଦୀ ପ୍ରେସ୍’ର ପରିଚାଳନା ଭାର ଲୋକସେବକ ମଣ୍ଡଳକୁ ଅର୍ପଣ କରିଥିଲେ । ଇଚ୍ଛାପତ୍ର ସମ୍ପାଦନର ଦୁଇ ଘଣ୍ଟାପରେ ୧୯୨୮ ମସିହା ଜୁନ ୧୭ ତାରିଖ ରବିବାର ସନ୍ଧ୍ୟା ୭ଟା ୨୫ମିନିଟରେ ଗୋପବନ୍ଧୁ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ ।

Click on red bell button, subscribe to notifications and never miss any news-views update