ମର୍ଯ୍ୟଦା ପୁରୁଷୋତ୍ତମଙ୍କ ଜନ୍ମଦିନ: ରାମ ନବମୀ

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ। ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ। ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ। ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା। କୌଣସି ସନ୍ତାନ ନ ଥିବାରୁ ରାଜାଙ୍କର ମନ ବହୁତ ଦୁଃଖ ଥାଏ। କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କ ଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ। ଋଷିଶୃଙ୍ଗ ଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ। ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ। ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ। ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ। ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ। ଶ୍ରୀରାମ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ। ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ। 

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.