ରଜତ ବଂଶଳ
ପାଣ୍ଡବମାନଙ୍କ ମଧ୍ୟରେ ଭୀମସେନ ଥିଲେ ଖାଦ୍ୟପ୍ରିୟ । ଯେକୌଣସି ଖାଦ୍ୟକୁ ସେ ସହଜରେ ହଜମ କରିଦେଉଥିଲେ । ନାଗଲୋକ ଯାଇ ସେଠି ମଧ୍ୟ ଦଶକୁଣ୍ଡ ଦୁଗ୍ଧ ପାନ କରିଥିବାରୁ ସେ ଦଶ ହଜାର ହାତୀର ଶକ୍ତି ପ୍ରାପ୍ତ ହୋଇଥିଲେ । ଏହି ରସ ପ୍ରଭାବରୁ ତାଙ୍କର ପ୍ରଚୁର କ୍ଷମତା ବଢ଼ିଯାଇଥିଲା । ତେଣୁ ସେ ଏକାଦଶୀ ବ୍ରତ ପାଳନ କରି ପାରୁନଥିଲେ । ଥରେ ଭୀମ ମହର୍ଷି ବେଦବ୍ୟାସଙ୍କୁ କହିଲେ ଦ୍ରୌପଦୀ ଏବଂ ମୋର ସମସ୍ତ ଭ୍ରାତା ଏକାଦଶୀ ବ୍ରତ ରଖୁଛନ୍ତି । କିନ୍ତୁ ମୁଁ ଭୋକ ସମ୍ଭାଳି ନପାରିବାରୁ ବ୍ରତ କରିପାରୁନାହିଁ । ଆପଣ କୌଣସି ଏକ ଉପାୟ ବତାନ୍ତୁ । ବେଦବ୍ୟାସ କହିଲେ ତୁମେ ଜ୍ୟେଷ୍ଠ ଶୁକ୍ଳପକ୍ଷ ଏକାଦଶୀ ବ୍ରତ ପାଳନ କଲେ ବର୍ଷ ସାରା ଅନ୍ୟ ସବୁ ବ୍ରତର ଫଳ ମିଳିପାରିବ । ଏଥିପାଇଁ ତୁମକୁ ଉକ୍ତ ଏକାଦଶୀରେ ଦୁଇବେଳା ଭୋଜନ ଓ ଜଳତ୍ୟାଗ କରିବାକୁ ପଡ଼ିବ । ଏହିକଥା ଶୁଣି ଭୀମ ନିର୍ଜଳା ଏକାଦଶୀ ବ୍ରତ ପାଳନ କଲେ । ଭୀମସେନ ଏହି ନିର୍ଜଳା ଏକାଦଶୀ ବ୍ରତ ପାଳନ କରିଥିବାରୁ ଏହାକୁ ଭୀମସେନୀ ଏକାଦଶୀ ବୋଲି କୁହାଯାଏ । ତେବେ ସନାତନ ଧର୍ମଧାରାରେ ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ଏପରି ୨୪ ଏକାଦଶୀ ରହିଛି । ସ୍ମାର୍ତ୍ତ ଓ ପରମାର୍ଥ ଧାର୍ମିକ ଆଚରଣରେ ସମଗ୍ର ଭାରତରେ ଏକାଦଶୀ ଏକ ପ୍ରମୁଖ ସାର୍ବଜନୀନ ବ୍ରତର ମାନ୍ୟତା ପାଇଛି । ବୈଜ୍ଞାନିକ ଦୃଷ୍ଟିକୋଣରୁ ଏକାଦଶୀ ପାଳନଦ୍ୱାରା ପେଟକୁ ବିଶ୍ରାମ ମିଳେ ଓ ପାକାଗ୍ନିକୁ ସକ୍ରିୟ କରାଏ । ଫଳରେ ଅଜୀର୍ଣ୍ଣ, ଉଦରଶୂଳ, ଅଗ୍ନିମାନ୍ଦ୍ୟ ଆଦି ରୋଗରୁ ରକ୍ଷା ମିଳେ । ଉପରୋକ୍ତ ଏକାଦଶୀ ମାନଙ୍କ ମଧ୍ୟରୁ ନିର୍ଜଳା ଏକାଦଶୀର ଯଥେଷ୍ଟ ଗୁରୁତ୍ବ ରହିଛି । ଅନ୍ୟ ଏକାଦଶୀରେ ବ୍ରତୀମାନେ ଫଳାହାର କରିଥାନ୍ତି । କିନ୍ତୁ ନିର୍ଜଳା ବା ଭୀମସେନୀ ଏକାଦଶୀରେ କୌଣସି ଖାଦ୍ୟ କିମ୍ବା ଜଳ ମଧ୍ୟ ଗ୍ରହଣ କରାଯାଏ ନାହିଁ । ବିଶ୍ୱାସ କରାଯାଏ ଏହି ଏକାଦଶୀ ପାଳନ କଲେ ବ୍ରତୀକୁ ଆୟୁ, ନିରୋଗ ଏବଂ ମୃତ୍ୟୁପରେ ସ୍ୱର୍ଗପ୍ରାପ୍ତି ହୋଇଥାଏ ।