ଓଡ଼ିଆ ବାର୍ତ୍ତା/ ପୁରୀ: ଆଜି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ବିତୀୟା ତିଥିରେ ଗଡିବ ଶ୍ରୀଜିଉଙ୍କ ରଥ । ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ । ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି । ରଥଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ସାରିଛି ।
ପ୍ରାପ୍ତ ସୂଚନା ମୁତାବକ, ଆଜି ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୯ଟାରେ ଶ୍ରୀଜିଉମାନଙ୍କର ପହଣ୍ଡି ଆରମ୍ଭ ହେବ । ପ୍ରଭୁ ସୁଦର୍ଶନ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିବେ । ପହଣ୍ଡି କାର୍ଯ୍ୟକ୍ରମ ଦିନ ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ନ ୪ଟାରେ ଗଡ଼ିବା ଆରମ୍ଭ କରିବ । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ସକାଳ ୬ଟାରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ହେବ । ୬ଟା ୧୦ରେ ମଇଲ, ୬ଟା ୩୦ରେ ତଡ଼ପ ଲାଗି, ରୋଷହୋମ ଓ ୭ଟାରେ ଅବକାଶ ପରେ ୭ଟା ୧୦ରେ ସୂର୍ଯ୍ୟପୂଜା, ସାଢ଼େ ୭ଟାରେ ଦ୍ବାରପାଳ ପୂଜା ଏବଂ ବେଶ ଶେଷ କରାଯିବ । ସେହିପରି ସକାଳ ୮ଟାରୁ ୯ଟା ଯାଏଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ (ଖେଚୁଡି ଭୋଗ) ନୀତି ପରେ ୯ଟା ୧୫ରେ ମଙ୍ଗଳାର୍ପଣ କରାଯିବ ।