ଶ୍ରୀକ୍ଷେତ୍ରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ରଥଯାତ୍ରା ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜେ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।
କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ ।
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ : ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ । ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି ।