ସାରା ରାଜ୍ୟକୁ ଛୁଇଁଲା ମୌସୁମୀ,୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ୨୨ ତାରିଖ ଠାରୁ ରାଜ୍ୟରେ ଆରମ୍ଭ ହୋଇଛି ମୌସୁମୀ ବର୍ଷା I ୨ ଦିନ ଭିତରେ ଏହା ସାରା ରାଜ୍ୟକୁ ଛୁଇଁଥିଲା ବେଳେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସମସ୍ତ ଜିଲ୍ଲା ଗୁଡିକରେ ପ୍ରାୟ ବର୍ଷା ଜାରି ରହିବ । ତେବେ ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ସୂଚନାନୁସାରେ,୨୫ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଆଦି ଜିଲ୍ଲାରେ ୟେଲୋ ୱା‌ର୍ଣ୍ଣିଂ ଜାରି ହୋଇଛି ।

ଅନ୍ୟପଟେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.