ମାଣବସା ଗୁରୁବାର ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ। ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି। ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ। ମାଣବସା ଓଷାକୁ ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ। ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି। ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ। ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା “ଧାନବେଣୀ”ରେ ସଜାଯାଇଥାଏ। ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ। ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ। ଗୃହିଣୀମାନେ ନିଷ୍ଠାର ସହ ବଳରାମ ଦାସଙ୍କ ବିରଚିତ ଲକ୍ଷ୍ମୀ ପୁରାଣ ପଠନ କରି ଏହି ଓଷା ପାଳନ କରିଥାନ୍ତି।




