ରାଜା ଚିତ୍ରଭାନୁଙ୍କ ପୂର୍ବଜନ୍ମ ବୃତ୍ତାନ୍ତ ଓ ମହାଶିବରାତ୍ରିର ମହିମା ଗାଥା 

ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରି ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ। ଜମ୍ବୁଦ୍ୱୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରି ଉପବାସ ପାଳନ କରିଥିଲେ। ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପୁଚ୍ଛା କରିଥିଲେ। ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ: ପୂର୍ବଜନ୍ମରେ ସୁସ୍ୱର ନାମରେ ସେ ଜଣେ ଶିକାରୀ ଥିଲେ। ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହେଲା। ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ। ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ। ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବିଲ୍ୱ ବୃକ୍ଷର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ। ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ। ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ। କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ। ଅଜ୍ଞାତରେ, ସେ ଶିବରାତ୍ରି ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗ କଲେ।

Sunil Kumar Dhangadamajhi

𝐸𝑑𝑖𝑡𝑜𝑟, 𝑂𝑑𝑖𝑎𝐵𝑎𝑟𝑡𝑎.𝑖𝑛

http://odiabarta.in
error: You are not allowed to copy this content. Thank you.