ଓଡ଼ିଆ ବାର୍ତ୍ତା/ ବାଲେଶ୍ୱର (କୃଷ୍ଣ କୁମାର ମହାନ୍ତି): ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟର ଅଗ୍ରଗତି, କ୍ଷତିଗ୍ରସ୍ତ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ଏବଂ ସରକାରୀ ଜମିରୁ ବେଆଇନ ଜବରଦଖଲ ଉଚ୍ଛେଦ ନେଇ ବାଲେଶ୍ୱରରେ ସମୀକ୍ଷା କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଶନିବାର ଦିନ ୧୨ଟା ୪୫ ମିନିଟ୍ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଅଡିଟୋରିୟମ୍ରେ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ବୈଠକରେ ଜିଲ୍ଲାର ସାମ୍ପ୍ରତିକ ବନ୍ୟା ପରେ ଆରମ୍ଭ ହୋଇଥିବା ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟର ସ୍ଥିତି ଏବଂ ବନ୍ୟା ଯୋଗୁଁ ଫସଲ, ବାସଗୃହ ଓ ଅନ୍ୟାନ୍ୟ ସମ୍ପତ୍ତିର କ୍ଷୟକ୍ଷତି ବାବଦରେ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ପ୍ରଦାନର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ। ଏଥିସହ ସରକାରୀ ଜମିରେ ହୋଇଥିବା ବେଆଇନ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ବନ୍ୟା ପ୍ରଭାବିତ ପରିବାରଗୁଡ଼ିକୁ ସରକାରୀ ନିୟମ ଅନୁଯାୟୀ ଯଥାଶୀଘ୍ର କ୍ଷତିପୂରଣ ପ୍ରଦାନ କରିବା ସହ ପୁନରୁଦ୍ଧାର ଓ ପୁନର୍ବାସ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ସେହିପରି ସରକାରୀ ଜମିକୁ ବେଆଇନ ଜବରଦଖଲରୁ ମୁକ୍ତ କରିବା ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡା, ନୀଳଗିରି ବିଧାୟକ ସନ୍ତୋଷ କୁମାର ଖଟୁଆ, ବାଲେଶ୍ୱର ସଦର ବିଧାୟକ ମାନସ କୁମାର ଦତ୍ତ ଓ ବସ୍ତା ବିଧାୟିକା ସୁବାସିନୀ ଜେନା ଉପସ୍ଥିତ ଥିଲେ। ଏହାବ୍ୟତୀତ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତପନ କୁମାର ଖୁଣ୍ଟିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ହେମନ୍ତ କୁମାର ସିଂହ ଓ ବାଲେଶ୍ୱର ଉପଜିଲ୍ଲାପାଳ ଶିବ ମାଲବ୍ୟ ମଞ୍ଚାସୀନ ଥିଲେ। ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର ଏବଂ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ମଧ୍ୟ ବୈଠକରେ ଯୋଗଦେଇଥିଲେ।





